ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟର ପ୍ରଭାବରେ ପ୍ରବଳ ବର୍ଷା ହେବା ସମ୍ଭାବନା…

ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଆଜି ଆନ୍ଧ୍ର ଉପକୂଳରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ସୂଚନା ମିଳିଛି । ଏହାର ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି ଏବଂ ନୂଆପଡ଼ାରେ ବି ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଇଛି ।  ତେଣୁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।