୪୦ ଡିଗ୍ରି ଅତିକ୍ରମ କଲା ପାରଦ…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ରାଜ୍ୟର ୯ଟି ସହରର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଥିବା ସୂଚନା ମିଳିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଏହାସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଭୁବନେଶ୍ବର ସମେତ ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୨୮ ତାରିଖ ଅପରାହ୍ନ ଆଡ଼କୁ ବିଜୁଳି, ଘଡ଼ଘଡ଼ି ସହ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ବିଶେଷ କରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଏହି କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପ୍ରାୟ ୩୦ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ମଧ୍ୟ କରାଯାଇଥିବା ଜଣାପଡିଛି । ସେହିପରି ୨୯ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ ଜଗତସିଂହପୁରରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ ଓ ପବନର ବେଗ ୩୦ରୁ ୪୦ କିମି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲା ଗୁଡ଼ିକ ପାଇଁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।