ୱେଲ୍‌ମାର୍କରେ ପରିଣତ ହେଲା ଲଘୁଚାପ :୧୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା…

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଆଜି ୱେଲ୍‌ମାର୍କରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହାସହ ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତ ବା ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମକୁ ଗତିକରି ୧୨ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବାର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଘଡଘଡି, ବିଜୁଳି ସହ ବର୍ଷା ସମ୍ଭାବନା ଅଛି । ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ରୁ ୧୨ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ରୁ ୧୩ ତାରିଖ ମଧ୍ୟରେ ୫ ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କନ୍ଧମାଳ, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ଓ ୧୪ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ବେଳକୁ ଏହି ଲଘୁଚାପ ଦୁର୍ବଳ ହେବ । ହେଲେ ଉତ୍ତର ଆଣ୍ଡାମାନ ସାଗରେ ୧୪ ତାରିଖ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଥିବା ସୂଚନା ଦେଇଛି ।